Skip to main content

ଓଡ଼ିଶା ହକିର ଏକ ଗ୍ଲୋବାଲ ହବ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦ା୮ (ସ୍ପୋଟର୍‌ସ ବ୍ୟୁରୋ)-ଜାତୀୟ କ୍ରୀଡ଼ା ଦିବସ ଅବସରରେ ଶନିବାର ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ଉତ୍ସବ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଉଲ୍ଲେଖନୀୟ ସଫଳତା ହାସଲ କରିଥିବା କ୍ରୀଡ଼ା ବ୍ୟକ୍ତିତ୍ୱ ଏବଂ କୋଚ୍‌ମାନଙ୍କୁ ବିଜୁ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି। ଜୟନ୍ତୀ ବେହେରା ଓ ଦୀପ୍‌ ଗ୍ରେସ୍‌ ଏକ୍କା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପାଇଛନ୍ତି। ଉଭୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ବିଜୁ ପଟ୍ଟନାୟକ ସାହସିକ ପୁରସ୍କାର ପାଇଥିବା ପୂର୍ଣ୍ଣିମା ଗିରି ଓ ସବିତା ଗିରି ଏକ ଲକ୍ଷ ଟଙ୍କା ଲେଖାଏ ଆର୍ଥତ୍କ ପୁରସ୍କାର ପାଇଛନ୍ତି। କୋଚିଂରେ ପାରଦର୍ଶିତା ପାଇଁ ବିଜୁପଟ୍ଟନାୟକ ପୁରସ୍କାର ପାଇଛନ୍ତି ସତ୍ୟ ରଞ୍ଜନ ପଟ୍ଟନାୟକ। ସେ ୧ ଲକ୍ଷ ଟଙ୍କା ଆର୍ଥିକ ପୁରସ୍କାର ଗ୍ରହଣ କରିଛନ୍ତି। ଏତଦ୍‌ବ୍ୟତୀତ ଭିନ୍ନକ୍ଷମ କ୍ରୀଡ଼ାବିତ୍‌ଙ୍କୁ କୋଚିଂ ପାଇଁ ଶିବ ପ୍ରସାଦ ଦାସ ୩୨,୫୦,୦୦୦ ଟଙ୍କାର ଆର୍ଥିକ ପୁରସ୍କାର ଲାଭ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପଦ୍ମିନୀ ରାଉତ, ହୁପି ମାଝି, ରାଜଶ୍ରୀ ମହାପାତ୍ର, ମନୀଷା ମେରେଲ, ପ୍ରତ୍ୟଶା ରାୟ ପ୍ରମୁଖଙ୍କୁ ମଧ୍ୟ ଆର୍ଥିକ ପୁରସ୍କାର ସହ ସମ୍ମାନିତ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡ଼ିଶାକୁ ବିଶ୍ୱର ଏକ ଅନ୍ୟତମ କ୍ରୀଡ଼ା କେନ୍ଦ୍ରରେ ପରିଣତ କରିବା ଲାଗି ସରକାରଙ୍କ ତରଫରୁ ନିଆଯାଇଥିବା ପଦକ୍ଷେପଗୁଡ଼ିକ ସମ୍ପର୍କରେ ଅବତାରଣା କରିଥିଲେ। ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କ ଜନ୍ମବାର୍ଷିକୀ ଅବସରରେ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସେ କହିଥିଲେ ଆମ କିମ୍ବଦନ୍ତୀ ନେତା ବିଜୁବାବୁ ନିଜେ ଜଣେ ମହାନ କ୍ରୀଡ଼ାବିତ୍‌ ଥିଲେ। ତାଙ୍କ ଜୀବନକାଳରେ ସର୍ବଦା ଖେଳକୁ ପ୍ରୋତ୍ସାହିତ କରୁଥିଲେ। ତାଙ୍କ ସ୍ବପ୍ନ ସାକାର କରିବାକୁ ଯାଇ ଆମେ ଓଡ଼ିଶାକୁ କ୍ରୀଡ଼ାର ଏକ ପ୍ରମୁଖ କେନ୍ଦ୍ରରେ ପରିଣତ କରିବା ଲାଗି ଉଦ୍ୟମ ଜାରି ରଖିଛୁ। ଗତ କିଛିବର୍ଷ ହେଲା ଓଡ଼ିଶାରେ ଅନେକ ପରିମାଣରେ କ୍ରୀଡ଼ା କାର୍ଯ୍ୟକଳାପ ବୃଦ୍ଧି ପାଇଛି। ବର୍ତ୍ତମାନ ଓଡ଼ିଶା ବିଶ୍ୱର ଏକ ଅନ୍ୟତମ ହକି ହବ୍‌ ରୂପେ ପରିଚିତି ଲାଭ କରିପାରିଛି। ଆମେ୨୦୨୩ରେ ହକି ବିଶ୍ୱକପ୍‌ର ଅନ୍ୟ ଏକ ସଂସ୍କରଣ ଆୟୋଜନ କରିବାକୁ ଯାଉଛେ। ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରି କହିଥିଲେ, ଓଡ଼ିଶା ଖୁବ ନିକଟରେ ଏଭଳି ଖେଳାଳି ସୃଷ୍ଟି କରିବ ଯେଉଁମାନେ ଅଲିମ୍ପିକ୍ସରେ ଭାଗ ନେଇପାରିବେ ଏବଂ ଭାରତକୁ ବିଜୟୀ କରାଇବାରେ ସହାୟକ ହେବେ। କ୍ରୀଡ଼ା ବିଭାଗର କମିଶନର ତଥା ସଚିବ ବିଶାଳ ଦେବ ସ୍ବାଗତ ଭାଷଣ ଦେଇଥିଲେ। କ୍ରୀଡ଼ା ନିର୍ଦ୍ଦେଶକ ଆର୍‌. ଭିନିଲ କ୍ରିଷ୍ଣା ଭୋଟ୍‌ ଧନ୍ୟବାଦ ପ୍ରସ୍ତାବ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।

The post ଓଡ଼ିଶା ହକିର ଏକ ଗ୍ଲୋବାଲ ହବ୍‌: ମୁଖ୍ୟମନ୍ତ୍ରୀ appeared first on Dharitri Odia News.



Popular posts from this blog

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍‌ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍‌ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍‌ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍‌ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍‌ ଦେବାର ବ୍ୟବସ୍ଥା ରହିଛି। ମିଲ୍‌ ଗାଡି ଠିକ୍‌ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି। ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆ...

ଦିନ କେଇଟାରେ ବଦଳିଗଲା ଭାଗ୍ୟ: ରେଷ୍ଟୁରାଣ୍ଟ ପାଲଟିଲା ‘ବାବା କା ଢ଼ାବା’

ଆଜିର ଅତ୍ୟାଧୁନିକ ଯୁଗରେ ସବୁଠାରୁ ବଡ଼ ଅସ୍ତ୍ର ପାଲଟିଛି ସୋସିଆଲ ମିଡିଆ। ଅନେକ ଏଥିଯୋଗୁ ରାତାରାତି ଷ୍ଟାର ପାଲଟୁଥିବା ବେଳେ ଏହା ଅନେକଙ୍କ ଜୀବନ ବଦଳାଇ ଦେଉଛି। କିଛିଦିନ ତଳେ ଏହି ସୋସିଆଲ ମିଡିଆରେ ଏକ ଢ଼ାବା ବେଶ୍‌ ଭାଇରାଲ ହୋଇଥିଲା,ଯାହାର ନାମ ଥିଲା ‘ବାବା କା ଢ଼ାବା’। ଏବେ ଏହା ରେଷ୍ଟୁରାଣ୍ଟରେ ପରିଣତ ହୋଇଛି। ୮୦ ବର୍ଷୀୟ ମାଲିକ କାନ୍ତା ପ୍ରସାଦ ନିଜ ପୁରୁଣା ଦୋକାନ ପାଖରେ ନୂଆ ରେଷ୍ଟୁରାଣ୍ଟ ଖୋଲି ସେଠାରେ ବସୁଛନ୍ତି। ତାଙ୍କ ଖାଇବାକୁ ପସନ୍ଦ କରୁଥିବା ଲୋକେ ମଧ୍ୟ ରେଷ୍ଟୁରାଣ୍ଟରେ ଭିଡ ଜମାଇବା ଆରମ୍ଭ କରିଛନ୍ତି। ଦିଲ୍ଲୀର ମାଲବୀୟ ନଗରରେ କାନ୍ତା ପ୍ରସାଦଙ୍କ ଛୋଟିଆ ଢାବା ଥିଲା। ମାର୍ଚ୍ଚରେ ଲକ୍‌ଡାଉନ୍‌ ଯୋଗୁ ଢ଼ାବାଟି ବେଶ୍‌ ପ୍ରଭାବିତ ହୋଇଥିଲା। ଫଳରେ ପରିବାରର ଗୁଜରାଣ ମେଣ୍ଟାଇବା କାନ୍ତାଙ୍କ ପକ୍ଷେ ସମ୍ଭବ ହେଉ ନ ଥିଲା। ପରେ ଜଣେ ବ୍ୟବହାରକାରୀ କାନ୍ତାଙ୍କ ଢ଼ାବାର ଏକ ଭିଡିଓ ଅପ୍‌ଲୋଡ୍‌ କରିଥିଲେ। ଭିଡିଓରେ ନିଜର ଦୁଃଖକାହାଣୀ କହିଥିଲେ କାନ୍ତା। ଏହା ଅନେକଙ୍କୁ ଭାବବିହ୍ବଳ କରିଥିବା ବେଳେ ଶହ ଶହ ସଂଖ୍ୟାରେ ଲୋକେ ତାଙ୍କ ଢ଼ାବାରେ ଭିଡ ଜମାଇବା ଆରମ୍ଭ କରିଥିଲେ। ଏବେ କାନ୍ତାଙ୍କ ନୂଆ ରେଷ୍ଟୁରାଣ୍ଟରେ ଗ୍ରାହକଙ୍କ ବସିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଉଛି। ପୁରୁଣା ଢ଼ାବା ଭଳି କାନ୍ତାଙ୍କ ସ୍ତ୍ରୀ ବାଦାମୀ ଦେବୀ ରେଷ୍ଟୁରାଣ୍ଟରେ ମଧ୍ୟ ଖାଇବା ରେଷେଇ କରିବେ। ଅନ୍ୟ କର୍ମଚାରୀ ତାଙ୍କ ସାହାଯ...