କଟକ ଅଫିସ, ୨୩ା/୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା ମୂଲ୍ୟର ଖାଦ୍ୟକୁ ଲୋକମାନେ ୫ଟଙ୍କା ଦେଇ ପାଉଥିବାବେଳେ ବଳକା ୧୫ଟଙ୍କା ପିଏସ୍ୟୁ ବହନ କରୁଛନ୍ତି। ହେଲେ ପ୍ରତ୍ୟେକ ଆହାର କେନ୍ଦ୍ରକୁ ଯେତିକି ସଂଖ୍ୟକ ଖାଦ୍ୟ ଯୋଗାଣ କରାଯିବା କଥା, ତା’ଠାରୁ କମ୍ ସଂଖ୍ୟକ ଦିଆଯାଇ ବଳକା ଖାଦ୍ୟର ରିହାତି ଟଙ୍କାକୁ ଯୋଗାଣକାରୀ ସଂସ୍ଥା ଲୁଟୁଥିବା ସାଧାରଣରେ ଅଭିଯୋଗ ହେଉଛି। ସୂଚନା ମୁତାବକ, କଟକ, ଭୁବନେଶ୍ୱର ଆହାର କେନ୍ଦ୍ରକୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଟଚ୍ ଷ୍ଟୋନ ଫାଉଣ୍ଡେଶନକୁ ମିଳିଛି। ହେଲେ ଏହି ସଂସ୍ଥା ଦୈନିକ ଦର୍ଶାଯାଉଥିବା ଭୋଜନ ସଂଖ୍ୟାଠାରୁ ଯଥେଷ୍ଟ କମ୍ ଆଣି ରିହାତି ଅର୍ଥକୁ ମିଳିମିଶି ହଡ଼ପ କରୁଥିବା ଅନୁସନ୍ଧାନରୁ ଜଣାପଡିଛି। ଏହାର ସତ୍ୟାସତ୍ୟ ଜାଣିବା ପାଇଁ ଧରିତ୍ରୀ ପକ୍ଷରୁ ମଙ୍ଗଳବାର କଟକ ଶିଶୁ ଭବନ ଆହାର କେନ୍ଦ୍ରରେ ପୂର୍ବାହ୍ନ ସାଢେ ୧୦ଟାରୁ ସାଢ଼େ ୧୨ଟା ଖାଦ୍ୟ ସରିବା ପର୍ଯ୍ୟନ୍ତ ରହି ଅନୁଧ୍ୟାନ କରାଯାଇଥିଲା। ଏଠାରେ ଦୈନିକ ୫୦୦ମିଲ୍ ଦେବାର ବ୍ୟବସ୍ଥା ରହିଛି। ମିଲ୍ ଗାଡି ଠିକ୍ ୧୧ଟାରେ ପହଞ୍ଚତ୍ବାପରେ ମୋଟ ୪୩୩ଟି ୫ଟଙ୍କିଆ ଟୋକନ କଟାଯାଇଥିଲା। ମଧ୍ୟାହ୍ନ ୧୨ଟା ୨୦ବେଳକୁ ସତୀଚଉରା...